February 23, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

‘ପ୍ରବାସୀ ଭାରତୀୟ ଦିବସ’

୮ରୁ ୧୦ତାରିଖ ପର୍ଯ୍ୟନ୍ତ ୩ଦିନ ଧରି ଭୁବନେଶ୍ୱରର ଜନତା ମଇଦାନରେ ‘ପ୍ରବାସୀ ଭାରତୀୟ ଦିବସ’ ସମାରୋହ ପାଳିତ ହେବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି କ୍ରିଷ୍ଟାଇନ୍ କାର୍ଲ କାଙ୍ଗାଲୁଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ୍ ପ୍ରମୁଖ ଯୋଗ ଦେବେ । ଏହି ସମାରୋହରେ ଦେଶବିଦେଶରୁ ପ୍ରାୟ ୭ହଜାର ଅତିଥି ଯୋଗଦେବେ ବୋଲି ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଏହି ସମାରୋହର ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଓଡ଼ିଶାର ସମୃଦ୍ଧ କଳା,ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଂଚାଇବା ପାଇଁ ପ୍ରବାସୀ ଭାରତୀୟ ଦିବସ ଏକ ପ୍ରକୃଷ୍ଟ ଅବସର ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ସମାରୋହର ସଫଳ ରୂପାୟନରେ ଭାଗିଦାରୀ ହେବାକୁ ସମସ୍ତଙ୍କୁ ନିବେଦନ କରିଛନ୍ତି ।


ଏହାକୁ ଦୃଷ୍ଟିରେ ରଖି ଅଧିକ ସଂଖ୍ୟକ ହାଇ ସିକ୍ୟୁରିଟି ଫୋର୍ସ, ୨୫୦ ଟ୍ରାଫିକ ନିୟନ୍ତ୍ରଣକାରୀ ଏବଂ ୧୪୦ ଲିଆଜିନିଙ୍ଗ ଅଫିସରଙ୍କୁ ନିୟୋଜିତ କରାଯାଇଛି । ସେହିପରି ବିଦେଶରୁ ଆସୁଥିବା ଅତିଥି ମାନଙ୍କୁ ଏକ ସୁନ୍ଦର ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଭିଜ୍ଞତା ପ୍ରଦାନ ପାଇଁ ଟ୍ୱିନସିଟି ଭୁବନେଶ୍ୱର ଓ କଟକକୁ ସମ୍ପୂର୍ଣ୍ଣ ରୂପେ ସ୍ୱଚ୍ଛ ଓ ନିର୍ମଳ କରାଯାଇଛି । ସହରର ରାସ୍ତା ଘାଟ, ଅଫିସ୍ ବିଲଡିଙ୍ଗ, ବିଡିଏ ପାର୍କ ଓ ବରପୁତ୍ରଙ୍କ ପ୍ରତିମୂର୍ତ୍ତୀ ଗୁଡିକୁ ପରିଷ୍କାର ପରିଛନ୍ନ କରାଯାଇ ସୁସଜ୍ଜିତ ଆଲୋକ ମାଳାରେ ସଜାଇ ଦିଆଯାଉଛି । ପ୍ରବାସୀ ଭାରତୀୟ ଦିବସ ମହାସମାରୋହରେ ଆୟୋଜନ ବେଳେ ସହରର ବିଭିନ୍ନ ସ୍ଥାନରେ ପଥ ଉତ୍ସବ, ଏକାମ୍ର ଉତ୍ସବ, ଆଦିବାସୀ ମେଳା ପ୍ରଭୁତି ଦ୍ୱାରା ରାଜଧାନୀକୁ ଉତ୍ସବ ମୁଖର କରାଯିବ । ଭୁବନେଶ୍ୱର ସହିତ ଏହାର ଆଖପାଖ ଅଞ୍ଚଳର ପରିମଳ ବ୍ୟବସ୍ଥା ଓ ସୌନ୍ଦର୍ଯ୍ୟକରଣ ଉପରେ ସ୍ୱତନ୍ତ୍ର ଧ୍ୟାନଦେବା ପାଇଁ ମୁଖ୍ୟମନ୍ତ୍ରୀ ବି.ଏମ୍.ସି ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ସହରର ସ୍ୱଚ୍ଛତା, ଶୃଙ୍ଖଳା ଓ ସରକାରଙ୍କ ଦ୍ୱାରା ପ୍ରଦତ୍ତ ନିୟମାବଳୀର ଅନୁପାଳନ କରି ସମାରୋହର ସଫଳ ରୂପାୟନରେ ଭାଗିଦାରୀ ହେବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । ସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏହି ସମାରୋହରେ ଓଡିଶାର ସମୃଦ୍ଧ କଳା ଓ ଐତିହ୍ୟର ପ୍ରଦର୍ଶନ ରାଜାରାଣୀ ସଙ୍ଗୀତ ଉତ୍ସବ, ଓଡିଶୀ ନୃତ୍ୟ, ମୁକ୍ତେଶ୍ୱର ଡ୍ୟାନ୍ସ ଫେଷ୍ଟିଭାଲ, ଦେଶଜ ନୃତ୍ୟ ଇତ୍ୟାଦି ମାଧ୍ୟମରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରାଯିବ । ଏହାର ଦୂରଦର୍ଶନରେ ସିଧା ପ୍ରସାରଣ ମଧ୍ୟ କରାଯିବ । ଭୁବନେଶ୍ୱର, କଟକ, ପୁରୀ, କୋଣାର୍କ ଆଦି ବିଭିନ୍ନ ସହରର ପ୍ରାୟ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ଅତିଥି ମାନଙ୍କୁ ନେବା ପାଇଁ ବ୍ୟବସ୍ଥା କରାଯାଉଛି ।

ଓଡିଶାର ଏକ ପ୍ୟାଭିଲିୟନ ଜନତା ମଇଦାନରେ ରହିବ, ଯେଉଁଥିରେ ଶ୍ରୀ ଜଗନ୍ନାଥ ସଂସ୍କୃତି, କଳିଙ୍ଗ ଯୁଦ୍ଧ, ସମ୍ରାଟ ଅଶୋକଙ୍କ ଚଣ୍ଡାଶୋକରୁ ଧର୍ମାଶୋକରେ ରୂପାନ୍ତରଣ, ଐତିହ୍ୟ ବାଲିଯାତ୍ରା ଓ ଅନ୍ୟାନ୍ୟ କୀର୍ତ୍ତିରାଜୀ ଗୁଡିକର ପ୍ରଦର୍ଶନ କରାଯିବ । ଏହା ସହ ଏକ ଡିଜିଟାଲ୍ ପ୍ରଦର୍ଶନୀର ମଧ୍ୟ ଆୟୋଜନ କରାଯାଇଛି । ଅତିଥି ମାନଙ୍କ ଭ୍ରମଣ ତଥା ଯାତାୟାତ ନିମନ୍ତେ ୧୦ଟି ଉନ୍ନତ ମାନର ବସ ଏବଂ ୫ଟି ଡବଲ୍ ଡେକର ବସର ବ୍ୟବସ୍ଥା କରାଯାଇଛି । ୨୦୦ରୁ ଅଧିକ ପ୍ରବାସୀ ସାମ୍ବାଦିକ, ୭ଟି ଦେଶରୁ ୟୁଟ୍ୟୁବର ଓ ବ୍ଲଗର ଏଥିରେ ଅଂଶ ଗ୍ରହଣ କରୁଛନ୍ତି । ଏହି ଉତ୍ସବର ପ୍ରଚାର ଓ ପ୍ରସାରଣ ନିମନ୍ତେ ସୋସିଆଲ ମିଡିଆ, ଟିଭି ଓ ବିଜ୍ଞାପନ ଇତ୍ୟାଦି ମାଧ୍ୟମରେ ଜନସାଧାରଣଙ୍କୁ ତିନିଗୋଟି ଭାଷା ଯଥା-ଓଡିଆ, ହିନ୍ଦୀ, ଇଂରାଜୀରେ ଅବଗତ କରାଯାଉଛି ।

ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡା, ଆଇନ, ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ କୃଷ୍ଣଚନ୍ଦ୍ର ମହାପାତ୍ର, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ୍ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।