ମୋ ଟିଭି ଓଡିଶା : ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ। ଦ୍ୱାପରଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ। ଏହାଥିଲା ତାଙ୍କର ଶ୍ରୀକୃଷ୍ଣ ଅବତାର। କଂସଦ୍ୱାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ କୃଷ୍ଣ ଜନ୍ମ ଲାଭ କରିଥିଲେ। ବନ୍ଦିଶାଳାରେ ମାତା–ପିତାଙ୍କୁ ଶ୍ରୀକୃଷ୍ଣ ଜଣାଇଥିଲେ ତାଙ୍କର ଧରାବତରଣ ଉଦ୍ଦେଶ୍ୟ।
ଶ୍ରୀକୃଷ୍ଣଙ୍କ ଏହି ପବିତ୍ର ଜନ୍ମ ଦିନକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ। ବେଦବାଣୀ ଓ ଜ୍ୟୋତିଷ ଗଣନାନୁସାରେ ଭଗବାନ ଶ୍ରୀକୃଷ୍ଣ ଦ୍ୱାପର ଯୁଗର ଶେଷ ଭାଗରେ ଧରାଧାମରେ ଅବତୀର୍ଣ୍ଣ ହେଇଥିଲେ। ତାଙ୍କର ଲୀଳା ଅବଧୀ ଥିଲା ୧୨୫ ବର୍ଷ ୭ ମାସ। ଯେଉଁ ଦିନ କୃଷ୍ଣଙ୍କର ପରଲୋକ ହେଲା ସେଦିନଠାରୁ କଳି ଯୁଗ ଆରମ୍ଭ ହେଇଛି ଏବଂ ବର୍ତ୍ତମାନ କଳିଭୋଗବ୍ଦ ୫୧୧୩ ଚାଲିଛି। ତେଣୁ ଆଜକୁ ୫୨୩୮ ବର୍ଷ ପୂର୍ବେ ଲୀଳା ପୁରୁଷୋତ୍ତମ ଏହି ଧରାଧାମରେ ଅବତରଣ କରିଥିଲେ। ଗବେଷକଙ୍କ ମତରେ ଖ୍ରୀଷ୍ଟପୂର୍ବ ୩୨୨୭ ପୂର୍ଣ୍ଣମାନ୍ତ ଭାଦ୍ର କୃଷ୍ଣ ଅଷ୍ଟମୀ ତିଥିରେ ତାଙ୍କର ଜନ୍ମ ହେଇଥିଲା। ଦ୍ୱାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ବସୁଦେବ ଓ ଦେବକୀଙ୍କ ପୁଅରୂପେ ଧରାବତରଣ କରିଥିଲେ ଭଗବାନ କୃଷ୍ଣ। କଂସଦ୍ୱାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦୀଶାଳାରେ ଅର୍ଧ ରାତ୍ରୀରେ ରୋହିଣୀ ନକ୍ଷତ୍ର- ବୃଷରାଶିର ସଂଯୋଗ ସମୟରେ ଜନ୍ମ ଲାଭ କଲେ ଶ୍ରୀକୃଷ୍ଣ। ସେ ବନ୍ଦିଶାଳାରେ ମାତା-ପିତାଙ୍କୁ ଶ୍ରୀକୃଷ୍ଣ ଜଣାଇଥିଲେ ତାଙ୍କର ଧରାବତରଣ ଉଦ୍ଦେଶ୍ଯ। ସେ ଦୁଷ୍ଟ ଶକ୍ତିର ବିନାଶ ଓ ଧର୍ମ ପ୍ରତିଷ୍ଠା ନିମନ୍ତେ ମାନବ ରୂପ ଧାରଣ କରିଛନ୍ତି ଏବଂ ତାଙ୍କର ମାନବ ଲୀଳା ହିଁ ପୃଥିବୀରୁ ସମସ୍ତ ପ୍ରକାର କଳୁଷ ନାଶ କରିପାରିବ। ପୃଥିବୀକୁ କଂସର ଅତ୍ୟାଚାରରୁ ମୁକ୍ତ କରିବା ନିମନ୍ତେ ବ୍ରହ୍ମାଙ୍କ ସହ ଦେବଗଣଙ୍କ ଅନୁରୋଧ ରକ୍ଷାକରି ସେ ଜନ୍ମ ନେଇଛନ୍ତି। ଗୋପରେ ନନ୍ଦରାଜାଙ୍କ ଘରେ ବାଲ୍ୟ ଲୀଳା କରିବେ । ରାକ୍ଷସ ନିପାତ ପାଇଁ ତାଙ୍କୁ ନନ୍ଦରାଜାଙ୍କ ଘରେ ରହିବାକୁ ପଡ଼ିବ, ତେଣୁ ସେଠାରେ ଜନ୍ମ ନେଇଥିବା କନ୍ୟାକୁ ବନ୍ଦୀଶାଳାକୁ ଆଣି ତାଙ୍କୁ ନେଇ ଗୋପପୁରରେ ନନ୍ଦରାଜାଙ୍କ ଘରେ ସମସ୍ତଙ୍କ ଅଗୋଚରରେ ଥୋଇଦେଇ ଆସିବାକୁ ପିତାଙ୍କୁ କହିଲେ। ପରଂବ୍ରହ୍ମଙ୍କ ଆଜ୍ଞାକୁ ମାନି ପିତା ବସୁଦେବ ନବଜାତ ପୁତ୍ରକୁ କୋଳରେ ଧରି ଅନ୍ଧାର ରାତିରେ ବାହାରିଲେ ।
ଜଗନ୍ନାଥ ଦାସଙ୍କ ଭାଗବତରେ ବର୍ଣ୍ଣିତ କଥାମୃତ ଅନୁଯାୟୀ ବନ୍ଦୀଶାଳା ଦିବ୍ୟ ଆଲୋକରେ ଆଲୋକିତ ହେଇଗଲା ,ବସୁଦେବଙ୍କ ଗୋଡରୁ ବେଡି ଖୋଲିଗଲା ଏବଂ ବନ୍ଦୀଶାଳାର ଦ୍ୱାର ମଧ୍ୟ ଆପେଆପେ ଖୋଲିଗଲା। ପ୍ରବଳ ବର୍ଷା ସାଙ୍ଗକୁ ଅନ୍ଧାର ରାତିରେ ବସୁଦେବ ପୁତ୍ରକୁ ନେଇ ଉଛୁଳି ଉଠୁଥିବା ଯମୁନା ନଦୀ ପାର ହେଇ ଗୋପପୁର ଗଲେ।ପ୍ରଭୁ ବର୍ଷାରେ ତିନ୍ତି ଯାଉଥିବାରୁ ବାଟରେ ନାଗରାଜା ଅନନ୍ତ ନିଜର ବିଶାଳ ଫଣା ଢାଙ୍କି ଚାଲିଲେ। ସବୁ ବାଧାବିଘ୍ନ ଅତିକ୍ରମ କରି ଶ୍ରୀକୃଷ୍ଣଙ୍କୁ ନେଇ ନନ୍ଦଘରେ ଛାଡିଥିଲେ ବସୁଦେବ।ପବିତ୍ର ଜନ୍ମାଷ୍ଟମୀ ଉପଲକ୍ଷେ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା। ଜନ୍ମାଷ୍ଟମୀ ର ଏହି ପବିତ୍ର ଅବସରରେ ସମସ୍ତଙ୍କୁ ସୁଖ ସମୃଦ୍ଧି ପ୍ରଦାନ କରନ୍ତୁ ଏହାହିଁ ଲୀଳାମୟ ପ୍ରଭୁ ଶ୍ରୀକୃଷ୍ଣଙ୍କ ନିକଟରେ ମୋର ପ୍ରାର୍ଥନା।
ସତ୍ୟାନନ୍ଦ ପାଣିଗ୍ରାହୀ
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।